Text copied!
CopyCompare
ଓଡିଆ ବାଇବେଲ - ଆୟୁବ

ଆୟୁବ 31

Help us?
Click on verse(s) to share them!
1ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ?
2କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ ?
3ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ ?
4ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ ?
5ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
6ତେବେ ମୁଁ ଧର୍ମ ନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
7ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ’ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋ’ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋ’ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
9ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
10ତେବେ ମୋ’ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
11କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
12କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋ’ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
13ମୋ’ ଦାସ କି ଦାସୀ ମୋ’ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି ? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି ?
15ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି ?
16ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
17ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
18(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ’ ନିକଟରେ ବଢ଼ିଲା ଓ ମୋ’ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)

19ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋ’ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22ତେବେ ମୋ’ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋ’ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
23କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ’ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
24ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
26ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋ’ ମୁଖ ମୋ’ ହସ୍ତକୁ ଚୁମ୍ବନ କରିଥାଏ;
28ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
29ମୋ’ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;)
31ମୋ’ ତମ୍ବୁସ୍ଥିତ ଲୋକେ କି କହି ନ ଥା’ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ?
32ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
33ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ-
35ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି !
36ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।

37ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
38ଯଦି ମୋ’ ଭୂମି ମୋ’ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ। ଆୟୁବଙ୍କ କଥା ସମାପ୍ତ ହେଲା।