1ଇଲୀହୂ ଆହୁରି କହିଲା,
2“ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି।
3ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
4କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ। ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି।
5ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
6ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି।
7ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
8ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯା’ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା’ନ୍ତି
9ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି।
10ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି।
11ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
12ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
13ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
14ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
15ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି।
16ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା।
17ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
18କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।
19ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ ?
20ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ।
21ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।
22ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି ?
23କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି ? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ ?
24ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।
25ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ।
26ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।
27କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ।
28ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ।
29ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ ?
30ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।
31କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।
32ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।
33ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି।