3ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
5ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
6ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
7ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
8ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
9ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।