7ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
8ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
9ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
11ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।