1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
2ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
4ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
7ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।
8ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
9ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
10କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
11ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ।