Text copied!
Bibles in Odia

ଗୀତସଂହିତା 37:11-29 in Odia

Help us?

ଗୀତସଂହିତା 37:11-29 in ଓଡିଆ ବାଇବେଲ

11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15 ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
ଗୀତସଂହିତା 37 in ଓଡିଆ ବାଇବେଲ