Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:11-36

Help us?
Click on verse(s) to share them!
11ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
20ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
21ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
22କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
30ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
32ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
33ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
34ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
35ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
36ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:11-36ଗୀତସଂହିତା 37:11-36