2ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି।
4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
5ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।
6ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
10ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।