Text copied!
Bibles in Odia

ଗୀତସଂହିତା 66:1-15 in Odia

Help us?

ଗୀତସଂହିତା 66:1-15 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।
5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା
8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14 ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
ଗୀତସଂହିତା 66 in ଓଡିଆ ବାଇବେଲ