1ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
5ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।
6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
8ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?