17ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
19ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ?
20ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
21ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
23ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
24ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
26ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
27ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
28ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
29ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
30ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
31ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
32ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
33ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
34ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।