1ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
2ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।
7କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
8ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
9କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।