Text copied!
Bibles in Odia

ପରମ ଗୀତ 5:1-11 in Odia

Help us?

ପରମ ଗୀତ 5:1-11 in ଓଡିଆ ବାଇବେଲ

1 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ?
4 ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
ପରମ ଗୀତ 5 in ଓଡିଆ ବାଇବେଲ