5ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
7ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
8ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
9ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
10ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।
13ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
14ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
15ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।