Text copied!
Bibles in Odia

ପ୍ରଥମ ରାଜାବଳୀ 22:11-26 in Odia

Help us?

ପ୍ରଥମ ରାଜାବଳୀ 22:11-26 in ଓଡିଆ ବାଇବେଲ

11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୁପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
20 ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”
25 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
ପ୍ରଥମ ରାଜାବଳୀ 22 in ଓଡିଆ ବାଇବେଲ