13ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
18ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
19ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
20ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
22ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
23ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”