Text copied!
Bibles in Odia

ପ୍ରଥମ ରାଜାବଳୀ 8:28-47 in Odia

Help us?

ପ୍ରଥମ ରାଜାବଳୀ 8:28-47 in ଓଡିଆ ବାଇବେଲ

28 ତଥାପି, ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,
32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
34 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
39 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
40 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।
41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
42 କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର।
46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;
47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
ପ୍ରଥମ ରାଜାବଳୀ 8 in ଓଡିଆ ବାଇବେଲ