Text copied!
Bibles in Odia

ପ୍ରଥମ ରାଜାବଳୀ 8:9-27 in Odia

Help us?

ପ୍ରଥମ ରାଜାବଳୀ 8:9-27 in ଓଡିଆ ବାଇବେଲ

9 ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।
10 ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
11 ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
12 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
13 ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”
17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।
18 ମାତ୍ର, ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, “ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;
19 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”
20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।
22 ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
24 ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
25 ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
26 ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।
27 ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?
ପ୍ରଥମ ରାଜାବଳୀ 8 in ଓଡିଆ ବାଇବେଲ