9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।
11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
15ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।
16କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।
17କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
18ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।
20ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।