Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:3-13

Help us?
Click on verse(s) to share them!
3ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।
4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
6ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"
7ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
8କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
9ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।
12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
13ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:3-13ପ୍ରେରିତ 1:3-13