15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !
16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ?
17ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
18ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ ।
19ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।
20ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।
21ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ ।
22ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?
23ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।