16କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି ।
17ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
18କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ ।
19ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
20କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।
21ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
22ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।
23ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।
24ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ ।
25ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।
26ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ ।
27ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ । ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,
28ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା ।
29ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ ।
30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହି ସବୁ ତାହାଙ୍କୁ ଜଣାଇଲେ ।
31ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।