12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?
13ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
14ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
15ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”