Text copied!
Bibles in Odia

ଯୋହନ 1:28-46 in Odia

Help us?

ଯୋହନ 1:28-46 in ଓଡିଆ ବାଇବେଲ

28 ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।
29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।
30 ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
34 ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
35 ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।
37 ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?
39 ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।
40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।
42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
44 ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।
45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।
ଯୋହନ 1 in ଓଡିଆ ବାଇବେଲ