Text copied!
Bibles in Odia

ଯୋହନ 4:28-48 in Odia

Help us?

ଯୋହନ 4:28-48 in ଓଡିଆ ବାଇବେଲ

28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା ?
30 ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ ।
31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ ।
32 କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।
33 ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା ?
34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହି ସବୁ କଟାଯିବା ନିମନ୍ତେ ପାଚିଗଲାଣି ।
36 ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି ।
37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ ।
38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
39 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।
41 ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ;
42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।
43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ ।
44 କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
45 ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
47 ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା ।
48 ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।
ଯୋହନ 4 in ଓଡିଆ ବାଇବେଲ