Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 6

ଯୋହନ 6:9-50

Help us?
Click on verse(s) to share them!
9ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କ'ଣ ହେବ ?
10ଯୀଶୁ କହିଲେ, ଲୋକମାନଙ୍କୁ ବସାଅ । ସେ ସ୍ଥାନରେ ବହୁତ ଘାସ ଥିଲା । ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ ।
11ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
12ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥି ନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।
13ସେଥିରେ ସେମାନେ ସେହି ସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ ।
14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।
15ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
16ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ
17ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା ।
19ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
20କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା ।
22ସେ ସ୍ଥାନରେ ଗୋଟିଏ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ ।
23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାଁନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।
25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ ?
26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ ।
27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ୱର ମୁଦ୍ରାଙ୍କିତ କଲେ ।
28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ୱରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କ'ଣ କରିବାକୁ ହେବ?
29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ୱରଙ୍କ କାର୍ଯ୍ୟ ଅଟେ ।
30ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ ?
31ଆପଣ କ'ଣ ସାଧନ କରୁଅଛନ୍ତି ? ଆମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖା ଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ ।
32ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ୱରଦତ୍ତ ଆହାର ।
34ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ ।
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ ।
36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି ।
37ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି ।
39ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।
40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।
41ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
42ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?
43ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।
46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।
47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି ।
48ମୁଁ ଜୀବନଦାୟକ ଆହାର ।
49ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।
50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥି ନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ ।

Read ଯୋହନ 6ଯୋହନ 6
Compare ଯୋହନ 6:9-50ଯୋହନ 6:9-50