Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 7

ଯୋହନ 7:19-36

Help us?
Click on verse(s) to share them!
19ମୋଶା କ'ଣ ତୁମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଦେଇ ନାହାଁନ୍ତି ? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ?
20ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି ?
21ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
22ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
23ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?
24ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।
25ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
26ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି । ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?
27ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି ।
28ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
29ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ ।
30ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
31କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
32ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
33ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
34ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ ।
35ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
36ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ ?

Read ଯୋହନ 7ଯୋହନ 7
Compare ଯୋହନ 7:19-36ଯୋହନ 7:19-36