Text copied!
Bibles in Odia

ଯୋହନ 7:25-40 in Odia

Help us?

ଯୋହନ 7:25-40 in ଓଡିଆ ବାଇବେଲ

25 ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
26 ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି । ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?
27 ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି ।
28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
29 ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ ।
30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
33 ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ ।
35 ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
36 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ ?
37 ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ ।
38 ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
40 ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।
ଯୋହନ 7 in ଓଡିଆ ବାଇବେଲ