Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 8

ଯୋହନ 8:1-41

Help us?
Click on verse(s) to share them!
1କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ ।
2ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
3ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
4ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି ।
5ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ?
6ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।
7ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
8ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।
9ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।
10ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି ? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ ?
11ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।
12ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।
13ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
14ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।
15ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ ।
16କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।
17ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି ।
18ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।
19ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।
20ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
21ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।
22ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ?
23ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ ।
24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?
26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।
27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
28ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।
29ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
30ସେ ଏହି ସମସ୍ତ କଥା କହନ୍ତେ, ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
31ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
32ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
33ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?
34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ ।
35ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ ।
36ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ ।
37ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ।
38ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର ।
39ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା । ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
40କିନ୍ତୁ ଯେ ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରିଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ ।
41ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର ।

Read ଯୋହନ 8ଯୋହନ 8
Compare ଯୋହନ 8:1-41ଯୋହନ 8:1-41