Text copied!
Bibles in Odia

ଯୋହନ 8:2-25 in Odia

Help us?

ଯୋହନ 8:2-25 in ଓଡିଆ ବାଇବେଲ

2 ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
4 ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି ।
5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ?
6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।
7 ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
8 ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।
9 ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।
10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି ? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ ?
11 ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।
12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।
13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।
15 ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ ।
16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।
17 ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି ।
18 ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।
19 ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।
20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।
22 ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ?
23 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ ।
24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?
ଯୋହନ 8 in ଓଡିଆ ବାଇବେଲ