Text copied!
Bibles in Odia

ଲୂକ 19:8-32 in Odia

Help us?

ଲୂକ 19:8-32 in ଓଡିଆ ବାଇବେଲ

8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
12 ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।
13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର ।
14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।
15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।
16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।
17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
18 ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି ।
19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
20 ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?
23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି ।
24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ ।
25 ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୁଦ୍ରା ଅଛି ।
26 ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
27 କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30 ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
31 ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।
ଲୂକ 19 in ଓଡିଆ ବାଇବେଲ