Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 1

ଲୂକ 1:12-52

Help us?
Click on verse(s) to share them!
12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ ।
13କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ ।
14ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ ।
15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
16ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ ।
17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।
18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।
20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।
21ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ ।
22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।
23ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ ।
24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି ।
26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
28ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ ।
30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।
31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
32ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।
34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।
35ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
37କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ ।
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।
41ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।
43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?
44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ ।
46ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
47ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;
48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
49କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
50ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ ।
51ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
52ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,

Read ଲୂକ 1ଲୂକ 1
Compare ଲୂକ 1:12-52ଲୂକ 1:12-52