Text copied!
Bibles in Odia

ଲୂକ 1:24-62 in Odia

Help us?

ଲୂକ 1:24-62 in ଓଡିଆ ବାଇବେଲ

24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି ।
26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
28 ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ ।
30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।
31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
32 ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।
34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।
35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
37 କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ ।
39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
40 ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।
41 ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।
43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?
44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ ।
46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
47 ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;
48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
49 କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ ।
51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।
54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି ।
56 ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ ।
57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
58 ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।
59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ ।
60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ ।
61 ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ ।
62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ ।
ଲୂକ 1 in ଓଡିଆ ବାଇବେଲ