13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।
15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।
17ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ ।
18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?
19ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ ।
21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।
24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ
25ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?