Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 4

ଲୂକ 4:25-40

Help us?
Click on verse(s) to share them!
25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।
27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ ।
28ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ ।
31ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
32ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା ।
33ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,
34ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି ।
35ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
36ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।
37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା ।
38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ ।
40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।

Read ଲୂକ 4ଲୂକ 4
Compare ଲୂକ 4:25-40ଲୂକ 4:25-40