Text copied!
Bibles in Odia

ଲୂକ 8:15-35 in Odia

Help us?

ଲୂକ 8:15-35 in ଓଡିଆ ବାଇବେଲ

15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
16 କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।
18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
19 ତାହାଙ୍କ ମା' ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରି ପାରୁ ନ ଥିଲେ ।
20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।
21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ ।
22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକୁ ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଲେ । ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ ।
24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।
25 ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ୱାସ କାହିଁ ? କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।
27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।
28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି ? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ ।
29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
30 ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କ'ଣ ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ ।
31 ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ ।
33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ଼ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ ।
34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ ।
35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ ।
ଲୂକ 8 in ଓଡିଆ ବାଇବେଲ