8ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
13ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।