Text copied!
Bibles in Odia

ହିତୋପଦେଶ 14:1-30 in Odia

Help us?

ହିତୋପଦେଶ 14:1-30 in ଓଡିଆ ବାଇବେଲ

1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
3 ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
5 ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
6 ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
9 ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
10 ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
17 ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।
21 ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
22 ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
24 ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
25 ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
27 ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
30 ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
ହିତୋପଦେଶ 14 in ଓଡିଆ ବାଇବେଲ