11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
16ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
18କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
19ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
20ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
21ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।
22ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
24ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
26କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
29ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।