1ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
2ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
3କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
4କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
5ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ।
11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।