1ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
6ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
7ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
8ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
10ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।