Text copied!
Bibles in Odia

ହିତୋପଦେଶ 29:1-15 in Odia

Help us?

ହିତୋପଦେଶ 29:1-15 in ଓଡିଆ ବାଇବେଲ

1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
8 ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9 ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
ହିତୋପଦେଶ 29 in ଓଡିଆ ବାଇବେଲ