Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 30

ହିତୋପଦେଶ 30:6-28

Help us?
Click on verse(s) to share them!
6ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
7ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ।
8ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
9ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
12ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
13ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍‍ଥିତ ହୋଇଅଛି।
14ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
15ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।
16ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।
17ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
18ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
19ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
21ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
22ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
23ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
28ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।

Read ହିତୋପଦେଶ 30ହିତୋପଦେଶ 30
Compare ହିତୋପଦେଶ 30:6-28ହିତୋପଦେଶ 30:6-28