11ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
12କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
13ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
14ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।
15ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
17ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।
18ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
19ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
20ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
21ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
25ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
26ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।
27ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
28ଆପଣା ନିକଟରେ ଦ୍ରବ୍ୟ ଥିଲେ, “ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା” ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।