1ହେ ମୋହର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ; ମୋ’ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
16ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ?
17ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।