14“ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି।
17ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
22ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
23ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
24ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।
25ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
26ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର।