Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ

ହିତୋପଦେଶ 8

Help us?
Click on verse(s) to share them!
1ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ?
2ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
7ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ।
8ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ।
9ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
10ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
12ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
14ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।
15ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
18ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
35ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
36ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।